![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/or/thumb/b/b2/Quantum_Computer_Zurich.jpg/640px-Quantum_Computer_Zurich.jpg&w=640&q=50)
କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ
ଉଦୀୟମାନ ପ୍ରଯୁକ୍ତି ବିଦ୍ୟା / From Wikipedia, the free encyclopedia
କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ, ହେଉଛି ଏକ ଉଦୀୟମାନ ହାର୍ଡ଼ୱେର ଏବଂ ସଫ୍ଟୱେରର ପ୍ରଯୁକ୍ତିବିଦ୍ୟା, ଯାହା କଠିନ ଗାଣିତିକ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଉପ-ପାରମାଣବିକ ଘଟଣାଗୁଡ଼ିକର ଉପଯୋଗ କରିଥାଏ ।[1] ଏହା ପଦାର୍ଥର କ୍ୱାଣ୍ଟମ ମେକାନିକାଲ ଘଟଣାସମୂହ ଯଥା ସୁପରପୋଜିସନ କିମ୍ବା ଏଣ୍ଟାଗ୍ଲମେଣ୍ଟ ଉପଯୋଗକରି ଗଣନା କରିଥାଏ ।[2] ଗୋଟିଏ କ୍ୱାଣ୍ଟମ କମ୍ପ୍ୟୁଟରକୁ ବାସ୍ତବରେ ଉପଯୋଗ କରିବା ପାଇଁ ଦୁଇଟି ମୁଖ୍ୟ ପନ୍ଥା ରହିଛି : ଡିଜିଟାଲ ଏବଂ ଆନାଲଗ । ବିଭିନ୍ନ ଆନାଲଗ ଉପାୟଗୁଡ଼ିକ ହେଲା: କ୍ୱାଣ୍ଟମ ସିମୁଲେସନ, କ୍ୱାଣ୍ଟମ ଆନିଲିଙ୍ଗ ଏବଂ ଆଡିଆବାଟିକ କ୍ୱାଣ୍ଟମ କମ୍ପ୍ୟୁଟେସନ । ଡିଜିଟାଲ କ୍ୱାଣ୍ଟମ କମ୍ପ୍ୟୁଟରଗୁଡ଼ିକ କ୍ୱାଣ୍ଟମ ଲଜିକ ଗେଟ ଉପଯୋଗ କରି ଗଣନା କରିଥାନ୍ତି । ଉଭୟ ଦୃଷ୍ଟିକୋଣଗୁଡ଼ିକ କ୍ୱାଣ୍ଟମ ବିଟ ବା କ୍ୟୁବିଟ (Qubit) ଉପଯୋଗ କରନ୍ତି ।
![Thumb image](http://upload.wikimedia.org/wikipedia/or/thumb/b/b2/Quantum_Computer_Zurich.jpg/640px-Quantum_Computer_Zurich.jpg)
କ୍ୟୁବିଟ, କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗର ମୌଳିକ ତତ୍ତ୍ୱ ଅଟେ । ଏହା ପାରମ୍ପରିକ କମ୍ପ୍ୟୁଟର (ବର୍ତ୍ତମାନର ସାଧାରଣ କମ୍ପ୍ୟୁଟର)ର ବିଟ୍ । କ୍ୟୁବିଟ ୦ କିମ୍ବା ୧ କ୍ୱାଣ୍ଟମ ଅବସ୍ଥାରେ ରହିବା ସହିତ ୦ ଏବଂ ୧ର ମିଳିତ ଅବସ୍ଥା (ସୁପରପୋଜିସନ)ରେ ମଧ୍ୟ ରହିପାରେ । ମାତ୍ର ଯେବେବି କ୍ୟୁବିଟ୍ସ (କ୍ୟୁବିଟର ବହୁବଚନ)ର ଅବସ୍ଥା ଯାଞ୍ଚ କରାଯାଏ ବାହାରକୁ ଏହା ସବୁବେଳେ ୦ କିମ୍ବା ୧ ହିଁ ଦେଖାଯାଏ । ଏହି ଦୁଇ ଫଳାଫଳର ସମ୍ଭାବନା ଏମାନେ ରହିଥିବା କ୍ୱାଣ୍ଟମ ଷ୍ଟେଟ ବା ଅବସ୍ଥା ଉପରେ ନିର୍ଭର କରିଥାଏ ।
୧୯୮୦ ମସିହାର ପ୍ରାରମ୍ଭରେ ପ୍ରଥମେ କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗର ବିକାଶ ପ୍ରାରମ୍ଭ ହୋଇଥିଲା, ଯେବେ ପଦାର୍ଥ ବିଜ୍ଞାନୀ ପଲ ବେନିଅଫ, ଟ୍ୟୁରିଙ୍ଗ୍ ମେସିନର ଏକ କ୍ୱାଣ୍ଟମ ମେକାନିକାଲ ମଡେଲ ପ୍ରସ୍ତାବ ଦେଇଥିଲେ ।[3] ରିଚାର୍ଡ ଫେମ୍ୟାନ ଏବଂ ୟୁରି ମ୍ୟାନିଂ କ୍ୱାଣ୍ଟମ କମ୍ପ୍ୟୁଟର ସାଧାରଣ ପାରମ୍ପରିକ କମ୍ପ୍ୟୁଟର ନକରିପାରୁଥିବା ସିମୁଲେସନକୁ ମଧ୍ୟ କରି ଦେଖେଇପାରିବ ବୋଲି ମତ ରଖିଥିଲେ ।[4][5] ୧୯୯୪ ମସିହାରେ ପିଟର ଶୋର ଏକ କ୍ୱାଣ୍ଟମ ଆଲଗୋରିଦମ ବିକଶିତ କରିଥିଲେ ଯାହାଦ୍ୱାରା କୌଣସି ପୂର୍ଣ୍ଣାଙ୍କର ମୌଳିକ ସଂଖ୍ୟା କଢ଼ାଯାଇପାରିବ, ଏହି କ୍ୱାଣ୍ଟମ ଆଲଗୋରିଦମ ଯଦି ବାସ୍ତବରେ କେହି କ୍ୱାଣ୍ଟମ କମ୍ପ୍ୟୁଟର ନେଇ ଲାଗୁ କରନ୍ତି ତେବେ ସମସ୍ତ ପାରମ୍ପରିକ କମ୍ୟୁନିକେସନର ସୁରକ୍ଷା ବ୍ୟବସ୍ଥାକୁ ଏହା ମୂଲ୍ୟହୀନ କରିପାରିବାର କ୍ଷମତା ରଖିଛି ।[6]
ନବେ ଦଶକ (୧୯୯୦)ର ଶେଷଆଡ଼ରୁ ଗବେଷଣା ଆରମ୍ଭ ହୋଇଥିଲେ ମଧ୍ୟ ଅଧିକାଂଶ ଗବେଷଣାକାରୀ ଏବେ ମଧ୍ୟ "ତ୍ରୁଟି ବିହୀନ କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ ଏକ ଦୂର ସ୍ବପ୍ନ ସଦୃଶ୍ୟ ଦୃଶ୍ୟମାନ" ବୋଲି ମତ ଦିଅନ୍ତି ।[7] ୨୦୧୬ ମସିହାରେ ପ୍ରଥମ କମ୍ପାନୀ ଭାବରେ ଆଇବିଏମ ଜନସାଧାରଣଙ୍କ ପାଇଁ କ୍ଲାଉଡରେ ତାହାର ୫ କ୍ୟୁବିଟ୍ସ ଯୁକ୍ତ କ୍ୱାଣ୍ଟମ କମ୍ପ୍ୟୁଟର ମୁକ୍ତିଲାଭ କରାଇଥିଲା ।[8] ୨୩ ଅକ୍ଟୋବର ୨୦୧୯ ମସିହାରେ ଗୁଗଲ ଏବଂ ନାସା ମିଶି ଏକ ଦଲିଲ ଉପସ୍ଥାପନ କରି କ୍ୱାଣ୍ଟମ ସୁପ୍ରିମସି (ପାରମ୍ପରିକ ସୁପର କମ୍ପ୍ୟୁଟର କ୍ଷମତା ତୁଳନାରେ କମ ସମୟରେ ଅଧିକ ଗଣନ କରିବା) ହାସଲ କରିପାରିଲେ ବୋଲି ଘୋଷଣା କରିଥିଲେ । ଗୁଗଲ ଏହି ଗବେଷଣାରେ ଆଇବିଏମ ସୁପରକମ୍ପ୍ୟୁଟର, ସମିଟ ଉପଯୋଗ କରିଥିଲା । ଆଇବିଏମ ଏହି ଘୋଷଣାର ସତ୍ୟତା ଏବଂ ବାସ୍ତବ ଦୁନିଆରେ ଏହାର ଉପଯୋଗକୁ ନେଇ ସନ୍ଦେହ ଉଠାଇଥିଲା, ତଥାପି କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ ଦୁନିଆରେ ଏହା ଏକ ମାଇଲଖୁଣ୍ଟି ସ୍ଥାପନ କରିଥିଲା ।[9][10]
କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ, କ୍ୱାଣ୍ଟମ ଇନଫରମେସନ ସାଇନ୍ସର ଏକ ବିଭାଗ ଅଟେ । ଯେଉଁ ବିଭାଗରେ କ୍ୱାଣ୍ଟମ କ୍ରିପ୍ଟୋଗ୍ରାଫି ଏବଂ କ୍ୱାଣ୍ଟମ କମ୍ୟୁନିକେସନ ମଧ୍ୟ ଅନ୍ତର୍ଭୁକ୍ତ ।