![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/3/3b/Krishna_holding_flute.jpg/640px-Krishna_holding_flute.jpg&w=640&q=50)
କୃଷ୍ଣ
ସ୍ୱୟଂ ନାରାୟଣ ଙ୍କ ଅବତାର / From Wikipedia, the free encyclopedia
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ।[1] ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
କୃଷ୍ଣ | |
---|---|
![]() ବଂଶୀ ଧାରୀ କୃଷ୍ଣ | |
ସଂସ୍କୃତ ଅନୁବାଦ | Kṛṣṇa |
ଉପାଧି | ବିଷ୍ଣୁଙ୍କ ଅବତାର, ସ୍ୱୟଂ ଭଗବାନ |
ବାସସ୍ଥାନ | ବୃନ୍ଦାବନ, ଗୋକୁଳ, ଦ୍ୱାରକା |
ମନ୍ତ୍ର | ॐ ନମ ଭଗବତେ ବାସୁଦେବାୟ |
ଅସ୍ତ୍ର | ସୁଦର୍ଶନ ଚକ୍ର |
ସାଥି | ରାଧା, ରୁକ୍ମିଣୀ, ସତ୍ୟଭାମା, ଜାମ୍ବବତୀ, ସତ୍ୟା, ଲକ୍ଷ୍ମଣା, କାଳିନ୍ଦୀ, ଭଦ୍ରା, ମିତ୍ରାବିନ୍ଦ ଓ ୧୬୧୦୦ ପତ୍ନୀ |
ବାହନ | ଗରୁଡ଼ |
ବାଣୀ | ଭାଗବତ ପୁରାଣ, ଭଗବତ ଗୀତା |
ମାନବ ଜାତିର ଉନ୍ନତିକଳ୍ପେ ଭଗବାନ ଶ୍ରୀକୃଷ୍ଣ ଭିନ୍ନ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହୋଇ ଲୀଳା କରିଥିଲେ।ମହାଭାରତ ଯୁଦ୍ଧକୁ ଏଡେଇବା ପାଇଁ ଶାନ୍ତିର ବାର୍ତ୍ତାନେଇ ଦୁର୍ଯ୍ୟୋଧନଙ୍କ ନିକଟକୁ ଗମନ କରିଥିଲେ।ଏଠାରେ ପଂରବ୍ରହ୍ମ ଶ୍ରୀକୃଷ୍ଣ ଶାନ୍ତିଦୂତର ଭୂମିକା ନିଭାଇ ଥିଲେ। ମହାଭାରତ ଯୁଦ୍ଧକ୍ଷେତ୍ରରେ ଅର୍ଜୁନଙ୍କ ରଥର ସାରଥୀହେଇ ରଥକୁ ସୁଚାରୁ ରୂପେ ଚାଳନା କରିଥିଲେ। ଯୁଦ୍ଧର ପ୍ରାରମ୍ଭରେ ନିଜର ଜ୍ଞାତି କୁଟୁମ୍ବମାନଙ୍କୁ ଅବଲୋକନ କରି ଅର୍ଜୁନଙ୍କ ମନରେ ବିଷାଦ ଆସିଥିଲା ଓ ଯୁଦ୍ଧ ନକରିବା ପାଇଁ ଶ୍ରୀକୃଷ୍ଣଙ୍କୁ ମନାକରିଦେଇଥିଲେ। ଏଠାରେ ଭଗବାନ ଗୁରୁ ରୂପରେ ଅବତୀର୍ଣ୍ଣ ହେଇ ଅର୍ଜୁନଙ୍କୁ ଗୀତାଜ୍ଞାନ ପ୍ରଦାନ କରି ଧର୍ମସ୍ଥାପନ ପାଇଁ ଯୁଦ୍ଧ କରିବାଲାଗି ତାଙ୍କୁ ମନେଇବାରେ ସକ୍ଷମ ହେଇଥିଲେ। କୂଟନୀତି ପ୍ରୟୋଗ କରି ପାଣ୍ଡବମାନଙ୍କୁ ଯୁଦ୍ଧରେ ଜିତାଇଥିଲେ।ଏଠାରେ ତାଙ୍କୁ ବିଚକ୍ଷଣ କୂଟନୀତିଜ୍ଞ ରୂପରେ ମାନ୍ୟତା ଦିଆଯାଏ।
ମହାଭାରତ ଯୁଦ୍ଧରେ ଅର୍ଜୁନଙ୍କୁ ନିମିତ୍ତମାତ୍ର କରି ମାନବ ସମାଜକୁ ଯେଉଁ ସାଂଖ୍ୟଯୋଗ,କର୍ମଯୋଗ,ଜ୍ଞାନଯୋଗ ଓ ଭକ୍ତିଯୋଗ ଶିକ୍ଷାପ୍ରଦାନ କରିଛନ୍ତି,ତାହାକୁ ପାଥେୟ କରି ବିଷୟାସକ୍ତ ଅଜ୍ଞାନ ଜୀବ ନିଜର ସାଧାରଣ ଜୀବନରେ ବାସ୍ତବ ସମସ୍ୟାକୁ ଉପଲବ୍ଧି କରି ନିଜକୁ ଉଦ୍ଧାର କରୁଛନ୍ତି।ଏହା ଶ୍ରୀମଦ ଭଗବତ ଗୀତା ନାମରେ ବିଶ୍ୱ ବିଖ୍ୟାତ। [2] ଶ୍ରୀମଦ ଭଗବତ ଗୀତା ବିଶ୍ୱ ସାହିତ୍ୟ ଭଣ୍ଡାରରେ ଏକ ଅନନ୍ୟ ସ୍ଥାନ ଅଧିକାର କରିଛି। ଏଥିରେ ରଚିତ ହେଇଥିବା ଭଗବାନ ଶ୍ରୀକୃଷ୍ଣଙ୍କର ମୁଖନିଃସୃତ ବାଣୀ ଦିବ୍ୟ ଓ ସନାତନ।