ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ From Wikipedia, the free encyclopedia
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । [1]
ରଜ | |
---|---|
ନାମ | ରଜପର୍ବ |
ଅନ୍ୟ ନାମ | ରଜ ପରବ |
ପାଳନକାରୀ | ଓଡ଼ିଆ ଲୋକ |
ପ୍ରକାର | ବସୁମତୀ ପୂଜନ |
ବିଶେଷତା | ଚାଷର ଆରମ୍ଭ |
ପର୍ବ ପାଳନ | ୧ମ ଦିନ - ପହିଲି ରଜ, ୨ୟ ଦିନ - ରଜ ସଂକ୍ରାନ୍ତି, ୩ୟ ଦିନ - ବସୁମତୀ ସ୍ନାନ ଓ ଭୂମି ଦହନ |
୨୦୨୩ ତାରିଖ | ଜୁନ ୧୪ରୁ ଜୁନ ୧୬ |
୨୦୨୪ ତାରିଖ | ଜୁନ ୧୪ରୁ ଜୁନ ୧୬ (ଶୁକ୍ରବାର, ଶନିବାର ଏବଂ ରବିବାର) |
ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଆଷାଢ ମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା'ନ୍ତି । ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ସମ୍ଭୋଗର ମାସ ବୋଲି ଗ୍ରହଣ କରାଯାଏ । ବିରହ, ବିଧୂର ଯକ୍ଷର ପ୍ରିୟା ଉଦ୍ଦେଶ୍ୟରେ ମେଘ ମାଧ୍ୟମରେ ପ୍ରେରିତ ବାର୍ତ୍ତାକୁ ନେଇ ମହାକବି କାଳିଦାସଙ୍କ ରଚିତ "ମେଘଦୂତ' ମହାକାବ୍ୟ ଏକ ଅନବଦ୍ୟ ସାଂସ୍କୃତିକ ବୌଦ୍ଧିକ ପ୍ରତିଲିିପି ଓ ଇତିକଥା । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ, ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ ।
ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । [2] ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ ।
ପରମ୍ପରା ଅନୁସାରେ ଏହି ଦିନ ଭୂମି ଉପରେ ଖାଲିପାଦରେ ଚାଲିବାକୁ ମନା କରାଯାଇଥାଏ । କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ, ଅଧିକାଂଶ ସମୟ ଦୋଳିରେ ଝୁଲନ୍ତି ଏବଂ ଗୁଆ ଖୋଳପା କିମ୍ବା ଚପଲ ପିନ୍ଧି ଚଳପ୍ରଚଳ ହୁଅନ୍ତି ।
ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ । ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି । ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ । ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ । ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ । ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ । ବସୁମାତା ରଜସ୍ୱଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି ।
ରଜଗୀତ ଏହି ପର୍ବରେ ବୋଲା ଯାଉଥିବା ଜଣାଶୁଣା ଗୀତ ଯାହା ଆଗେ ଗାଆଁଗହଳିରେ ଜନ୍ମ ନେଇଥିଲା । ଲୋକ ମୁଖରେ ବୋଲାଯାଉଥିବା ଏହି ଗୀତ ପରେ ବିଭିନ୍ନ ସମୟରେ ଲିପିବଦ୍ଧ ହୋଇଥିଲା । ମୁଦ୍ରିତ ପୁରାତନ ପ୍ରକାଶନଗୁଡ଼ିକ ଭିତରୁ ମଧ୍ୟରୁ ୧୯୪୯ ମସିହାରେ ପ୍ରକାଶିତ ପହିଲି ରଜ ଓ ୧୯୫୨ ମସିହାରେ ପ୍ରକାଶିତ ମାଗୁଣୀ ମହାପାତ୍ରଙ୍କ ରେକର୍ଡ ରଜଦୋଳି ଗୀତ ଅନ୍ୟତମ ।[3] ପୂରା ଗୀତର ପ୍ରଥମ ପଙ୍କ୍ତି ଜଣାଶୁଣା: "ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ " ।
ରଜଦୋଳି ଗୀତ:
ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ ।
ରାଶିରୁ ଛାଡ଼ିଲା ଚୋପା, ଗୋଡ଼ରେ ନାଇଛୁ ସରୁ ଅଳତା ଲୋ, ମଥାରେ ସିନ୍ଦୂର ଟୋପା ।
ଉଡ଼ିଲା ଶୁଆ ନାହାକା, ଦୋଳିଟା କାହିଁକି ଲାଗୁଛି ଏକା ଲୋ, କାହା ବିନା ଏକା ଏକା ।
ପାଚିଲା ଭଇଁଚ କୋଳି, ବେକରେ ନାଇଚି ଗଜରା ମାଳି ଲୋ, ଝୁଲାଅ ରଜର ଦୋଳି ।
ପଣସ ପାଚିଲା ବନେ, ବନ ପୋଡ଼ିଗଲେ ଦୁନିଆ ଜାଣେ ଲୋ, ମନକଥା କିଏ ଜାଣେ ।
ଶଙ୍ଖ ମଲମଲ ଗିନା, ଦରଦ ଜାଣେଲୋ ଦରଦୀ ସିନା ଲୋ, ବଣିଆ ଚିହ୍ନେଟି ସୁନା ।
ନିମ୍ବର ବୁକେ ଚନ୍ଦନ, ଦେବତା ଗଢ଼ାଇଲା ନାରୀ ଜୀବନ ଲୋ, ଦେଲା ତହିଁ ଯଉବନ ।
ଢମଣା ଛାଡ଼ିଲା କାତି, ପୁରୁଷ ସିନାଲୋ ଭ୍ରମର ଜାତି ଲୋ, ନୂଆ ଖୋଜୁଥାନ୍ତି ନିତି ।
ଚାନ୍ଦରେ କଳଙ୍କ ଚିହ୍ନ, ନବ ଯଉବନି କିଆଁ ଗୁମାନ ଲୋ, ଆସିଲେଣି ଜୀବ ଧନ ।
ପୋଖରୀ ତୁଠ ପଥର, ତତେ ଦେଖିଥିଲି ବାଲି ବନ୍ଧରେ ଲୋ, ଆଖି ଥିଲା ଏଣେ ତୋର ।
ସାହାଡ଼ା ଗଛର ଛାଇ, ସେଦିନ କଥାକି ତୋ ମନେ ନାଇଁ ଲୋ, ଏତେ ଆନମନା କାହିଁପାଇଁ ।
ଖୋସାରେ ଖୋସିଲି ଫୁଲ, କେତେ ଦେଖାଉଛୁ ନୁଖୁରା ଗେଲରେ, ଭାଙ୍ଗି ଦେବି ତୋର ଗାଲ ।
ନଈର ଶୁଖିଲା ବାଲି, କେତେ ଫୁଲି ହେଉ ପୁଚୁକିଗାଲି ଲୋ, ଦେଖାଉଛୁ କେତେ ବେଲି ।
ବାଜିଲା ତେଲିଙ୍ଗି ବାଜା, ରସିକ ଯେ ଜାଣେ ସ୍ନେହର ମଜା ରେ, ସେ ସିନା ମୋମନ ରଜା ।
ଲୁଚିଗଲା ମେଘେ ଚାନ୍ଦ, ଦୋଳି କଟକଟ କରେ ଶବଦ ଲୋ, ବହନ୍ତେ ପବନ ମନ୍ଦ ।
ଦୋଳି ହୁଏ ରଟରଟ, ମୋ ଭାଇ ମୁଣ୍ଡରେ ସୁନା ମୁକୁଟ ଲୋ, ଦିଶୁଥାଏ ଝଟଝଟ ।
ପରବତେ ଜଳେ ନିଆଁ, ପହଞ୍ଚାଇ ଦୋଳି ତେଣେ ନ ଚାହାଁ ଲୋ, ପୁଣି ହେବ ବାଆଁ ଡାଁ ।
ଉତୁରି ପଡ଼ିଲା ଦୁଧ, ଉଙ୍କି ମାରି ମାରି ଅନାଉ ଥାଏ ଲୋ, ନନ୍ଦର ଉଦିଆ ଚାନ୍ଦ ।
ଛତରା ବଜାର ହାଟ, ଛକି ବସିଥିବ ଚଗଲା କାହ୍ନୁଲୋ, ଛନ୍ଦରେ ମାଗିବ ଘାଟ ।
ଥୋଡ଼ମଞ୍ଜା କଲି ରାଇ, କଣ ନ କଲେ କଳା କହ୍ନାଇ ଲୋ, ମୁହଁକୁ ଯା ନ ଅନାଇ ।
କରମଙ୍ଗା କଲି ରାଇ, ମଥୁରାକୁ ଗଲେ କଳା କହ୍ନାଇ ଲୋ, କଣ୍ଟ ଦେଇ ଗଲେ କାହିଁ ।
ସାଉଁଟିଲି ବିଲ ଘଷି, କିମ୍ପାଇଁ ରାଧିକା ବସିଲା ରୁଷି ଲୋ, ଫୁଲ ଶେଜ ହେଲା ବାସି ।
କଟକଟ ହୁଏ ଦୋଳି, ଭାଉଜଙ୍କ ମନ ଯାଇଛି ଜଳି ଲୋ, ଭାଇ ବିଦେଷୁ ନଇଁଲେ ବୋଲି ।
ଗରଜେ କଳା ବଉଦ, ମୋତେ ତ ବରଷ ହେଲା ଚଉଦ ଲୋ, ଗଲାଣି ପିଲା ସୁଆଦ ।
ବଇଁଶୀ ବାଜିଲା କୁଞ୍ଜେ, ବଡ଼କଥା ବଡ଼ ଲୋକଙ୍କୁ ସାଜେ ଲୋ, ଛୋଟ କଲେ ଛାଟ ବାଜେ ।
ଲାଞ୍ଜ ଟେକିଗଲା ବାଘ, ନଇଁ ଚାଲୁଥିବ ବଡ଼ଙ୍କ ଆଗେ ଲୋ, ଲାଗିବ ନାହିଁଟି ଦାଗ ।
ଛତୁ ଫୁଟେ ବରଷାରେ, ଛତରାଟା କେତେ ଛଇ ଦେଖାଉ ରେ, ଅଛି କି ତୋ ଭରଷାରେ ।
କରଡ଼ି ଖସିଲା ଆମ୍ବ, ପର କାହୁଁ ଘର ପରାଣୀ ହେବେ ରେ, ମନ ଜାଣି ଖଞ୍ଜି ଦେବ ।
ବିରାଡ଼ି ଛିଙ୍କିଲା ବଣେ, ଆଗରେ ଯାଉଛି ନାଗର ଜଣେ ଲୋ, ମୁଣ୍ଡି ଝାଡୁ ଖାଲି ପଣେ ।
ଅଦିନେ ପଣସ ସିଠା, ବଚନରେ ଯାର ନଥଏ ମିଠା ଲୋ, ସେଟା ବାଡ଼ ପକା କଣ୍ଟା ।
ପାହାନ୍ତି ରାବିଲେ ପେଚା, ଯିଏ ହୋଇଥିବ ସିଂହର ବଚା ଲୋ, ନ ଦେବ ପଛଘୁଞ୍ଚା ।
ମଇଁଷି ଶିଙ୍ଗରେ ଖସା, ମଉସା ପୁଆଟା ଏଡ଼େ ସହସା ଲୋ, ମତେ କଲା ଲୋକହସା ।
ଜାରା ମାରିଦେଲା ବାଣ ଯାହାଠାରେ ଯାର ମିଶିଛି ମନ ଲୋ, ସେହି ଜାଣେ ତାର ଗୁଣ ।
କାଟି ଗଲି କଳାଦୁବ, ଝିଅ ଜନମରେ ଏତିକି ଲାଭ ଲୋ, ବନ୍ଧୁ ଘର ଅରଜିବ ।
କାଳୀଗାଇ ଧୁଧ କ୍ଷୀରି, ନୂଆ ପୀରତିରେ ମଉଜ ଭାରି ଗୋ, ପୁରୁଣାଟି ନିମ୍ବ ପରି ।
ଆମ୍ବ ପତ୍ର ଗହଳିଆ, ପ୍ରୀତି ପଙ୍କେ ତୁହି ହେବୁ ଗୋଳିଆଲୋ, ତୋଫା ହେବଟି ଧୁଳିଆ ।
ଥିରି ଥିରି ଚାଲେ ହାତୀ, ଥୟ ନ ହେଉଛି କିମ୍ପା ଏ ଛାତି ଲୋ, ଥକା ଦୋଳି ହେଲା ରାତି ।
‘ପାନଖିଆ ରସିକ ପାଟି,
ଖୋଜି ବୁଲୁଥିଲା ରାଜାଙ୍କ ହାତୀ,
ଢାଳି ଦେଇଗଲା ଶିରରେ, ରାଜା ହୋଇଗଲା ରଜରେ’ ।[4]
ଚୁଲି ଲଗାଇ ନିୟମିତ ରୋଷେଇ କରିବା ମହିଳାଙ୍କ କାର୍ଯ୍ୟ । ଯେହେତୁ ରଜରେ ଧରଣୀମାତାଙ୍କୁ ବିଶ୍ରାମ ଦିଆଯାଏ; ତେଣୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ, ଯାହା ସହଜରେ ନଷ୍ଟ ହୁଏ ନାହିଁ ଏବଂ ଅଧିକ ଦିନ ରହିଥାଏ । ଭାତ ବଦଳରେ ଫଳମୂଳ ଓ ବିଭିନ୍ନ ପ୍ରକାର ପିଠାପଣା ଏକାଠି ଖାଇ ସମସ୍ତେ ମଜା କରିଥାନ୍ତି ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.